2ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
3ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
4ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
5ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
6ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।