30ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
31ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
32ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
33ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।