1ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
2ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
3ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।
4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
5ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,