6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
7ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
9ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
10ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।