15ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
16ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
17ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
18ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ୍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
19“ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”