14ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
15ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
16ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
17ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
18ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।