7ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
8ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
9ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”
10ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
11ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।