33ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”
34ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
35ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।
36ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।
37କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”