8ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
9ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
10ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।
11ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”