7ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
8ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
9ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”
10ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।
11ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;