19ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
20ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
21ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।”
22ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
23“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;