28ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
29ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
30ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
31କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,
32ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।