36ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
37ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
38ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
39ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
40ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।