43ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
44ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,
45ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର।
46ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;
47ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’