1ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
2ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
3ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”
4ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
5ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”