7ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।
8ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।
9ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
10ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।”
11ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।