1ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।
2ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
3ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
4ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।