9ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
10ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
12ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
13ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।