13ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
14ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
15ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
16ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
17ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”