16ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
17ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
18ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
19ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
20ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।