1ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
2ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।