16ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
17ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;
18ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”
19ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
20ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।