15ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।
16ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।
17କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।
18ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
19କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।