2ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।
3ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
4ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
6କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।