12ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।
13ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
14ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
15ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
16ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।