13ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
14ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
15ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
16ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
17ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।