26ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”
27ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
28ଏଥିରେ ସେ ସ୍ତ୍ରୀ କହିଲା, “ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?”
29ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
30ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।