10ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
11ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
12ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
13ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
14ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।