20ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।
21ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।
22ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
23ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
24ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”