21ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।
22ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
23ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
24ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”
25ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।