26ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”
27ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।
28ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
29ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
30ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”