29ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
30ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”
31ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
32ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।
33ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”