4ଏଣୁ ଯୋନାଦବ୍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
5ଏଥିରେ ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
6ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”
7ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”
8ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।