6“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
7“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
8ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
9“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
10“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।