6ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
7ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
8ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
9ତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।
10ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।