8ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।
9ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।
10ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।
11ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।
12ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।