1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
4ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;