21ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
22ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
23ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
25ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”