8ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।”
9ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।
10ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍ ଦେଶର ନାହୋର ନଗରକୁ ଯାତ୍ରା କଲା।
11ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
12ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।