21ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
22ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
23ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
24ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”
25ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।