10ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
11ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
12ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
13ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
14ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।