17ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
18ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
19ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
20ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
21ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।