10କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।
11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
12ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”
13ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।”
14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି;