18ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
19ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
20ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
21ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
22ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।