10ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?
11ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
12“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
13ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?
14ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।