1ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
2କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
3ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
4ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।