15ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।
16ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
17ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।
18ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
19ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।