16ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
17କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
18ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
19ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
20ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”