14ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
15କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।”
16ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
17ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
18ମାତ୍ର ଯଦି ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।