7ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
8ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
9ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
10କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
11ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”